

ସତ୍ୟଶିଖା ( ଝାରସୁଗୁଡା )୧୫ /୧୧ /୨୦୨୧: ହୀରାକୁଦ ବିସ୍ଥାପିତଙ୍କୁ ମିଳିବ ଘରଡିବ । ଏହି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହୀରାକୁଦ ନଦୀ ବନ୍ଧ ପ୍ରକଳ୍ପ ଦ୍ୱାରା ଝାରସୁଗୁଡ଼ାରେ ୨ ହଜାର ବିସ୍ଥାପିତ ପରିବାରକୁ ଘରଡିହ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ଦ୍ୱାରା ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା ଦୂର ହେବ । ଝାରସୁଗୁଡ଼ାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଂଟନର ଶୁଭାରମ୍ଭ ଅବସରରେ ଏପରି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ହୀରାକୁଦ ଡ୍ୟାମ୍ ନିର୍ମାଣ ବେଳେ ସମ୍ବଲପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ ଜିଲ୍ଲାର ହଜାର ହଜାର ପରିବାର ବିସ୍ଥାପିତ ହୋଇଥିଲେ । ଦୀର୍ଘ ୭୦ ବର୍ଷ ପରେ ହୀରାକୁଦ ବିସ୍ଥାପିତଙ୍କ ଦୁଃଖ ଶୁଣିଛନ୍ତି ମୁଖ୍ୟମନ୍ତ୍ରୀ ।
ଏଥିରେ ୧୪୪ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଉଦ୍ଘାଟିତ ହୋଇଥିବାବେଳେ ୧୫୩ କୋଟି ଟଙ୍କାର କାମ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ଝାରସୁଗୁଡା ଓ ବ୍ରଜରାଜନଗର ପାଇଁ ଦୁଇଟି ୱାଟର ଟ୍ରିଟମେଣ୍ଟ ପ୍ଲାଣ୍ଟର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ବାରା ଏହି ଦୁଇଟି ସହରର ଲୋକମାନେ ଭଲ ପିଇବା ପାଣି ପାଇପାରିବେ। ଝାରସୁଗୁଡା ଜିଲ୍ଲାର ସବୁ ଗାଁ ଓ ସବୁ ସହରକୁ ଭଲ ପିଇବା ପାଣି ଯୋଗାଇ ଦେବାପାଇଁ ୬୧୮ କୋଟି ଟଙ୍କାର ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦୨୨ ଜୁନ୍ ସୁଦ୍ଧା ଜିଲ୍ଲାର ୧ ଲକ୍ଷ ୨୨ ହଜାର ପରିବାରକୁ ପାଇପ ପାଣି ଯୋଗାଇ ଦିଆଯିବ।
ଜିଲ୍ଲାରେ ଜଳସେଚନ ପ୍ରକଳ୍ପ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପାର୍ବତୀଗିରି ମେଗା ଲିଫ୍ଟ ଜଳସେଚନ ପ୍ରକଳ୍ପରେ ଏକ ହଜାର ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ଦିଆଯାଇଛି । ଏହାସହିତ ଜିଲ୍ଲାରେ ୧୮୬ କୋଟି ଟଙ୍କାର ୪ଟି ମେଗା ଲିଫ୍ଟ ଜଳସେଚନ କାମ ଚାଲିଛି ଏବଂ ଜିଲ୍ଲାର ସବୁ ଅଞ୍ଚଳକୁ ଜଳସେଚନର ସୁବିଧା ଯୋଗାଇ ଦେବାର ଲକ୍ଷ୍ୟ ଖୁବ ଶୀଘ୍ର ପୂରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।