ଆସୁଛି ଆଉ ଏକ ଲଘୁଚାପ l


ସତ୍ୟଶିଖା ( ଭୁବନେଶ୍ୱର ) ୧୦ .୦୯.୨୦୨୦ : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ୭ଟି ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ କହିଛି ବିଭାଗ । ୭ଟି ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, କନ୍ଧମାଳ ଓ ଗଂଜାମ ଜିଲ୍ଲା । ଏହି ଜିଲ୍ଲାମାନଙ୍କର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍ଆରସି)ଙ୍କ ପକ୍ଷରୁ ଆଜି ଜିଲ୍ଲାପାଳମାନଙ୍କୁ ସତର୍କ କରାଇ ପରାମର୍ଶ ଦିଆଯାଇଛି ।ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି । ୧୦ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଉପକୂଳ ଓଡ଼ିଶାର ଅନ୍ୟ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।