ସତ୍ୟଶିଖା( ଭୁବନେଶ୍ୱର )୨୨.୧୦.୨୦୨୨: ସମୁଦ୍ରରେ ଦାନା ବାନ୍ଧୁଛି ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’। ଏବେ ଏହା କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନିଭୂତ ହୋଇ ଲଘୁଚାପ ରୂପରେ ରହିଛି। ଆଗାମୀ କିଛି ଘଣ୍ଟାରେ ଏହା ଅବପାତ ଓ ପରେ ଗଭୀର ଅବପାତର ରୂପ ନେବ। ଏହା ପ୍ରଭାବରେ ରାଜ୍ୟରେ ୨୩ ତାରିଖରୁ ବର୍ଷା ଆରମ୍ଭ ହୋଇଯିବ। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ‘ସିତ୍ରାଙ୍ଗ’ ଓଡ଼ିଶାରେ ସ୍ଥଳ ଭାଗ ଛୁଇଁବ ନାହିଁ। ଓଡ଼ିଶା ଉପକୂଳରୁ କିଛି ଦୂରରେ ଘଷି ହୋଇ ପଶ୍ଚିମବଙ୍ଗ-ବାଂଲାଦେଶ ଆଡ଼କୁ ମୁହାଁଇବ। ଏହା ପ୍ରଭାବରେ ୨୩ ରାତିରୁ ଉପକୂଳରେ ବର୍ଷା ଆରମ୍ଭ ହେବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୪ରୁ ୨୫ ତାରିଖ ଭିତରେ ଓଡ଼ିଶା ଉପକୂଳ ଦେଇ ବାତ୍ୟା ଅତିକ୍ରମ କରିବା ସମୟରେ ଉପକୂଳରେ ବର୍ଷାର ପରିମାଣ ବଢିବା ସହ ପବନ ବି ବଢିବ। ତେଣୁ ୨୪ ତାରିଖରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର।
ଏହାସହ ୨୫ତାରିଖରେ ଉତ୍ତର ଉପକୂଳର ୩ ଜିଲ୍ଲାରେ ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସହ ତଟବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୭୦ କିଲୋମିଟର ବେଗରେ ପବନ ବୋହିବାର ଆକଳନ କରିଛି ପାଣିପାଗ କେନ୍ଦ୍ର।