

ସତ୍ୟଶିଖା(ଭୁବନେଶ୍ୱର )୦୯.୦୨.୨୦୨୨ : କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କୁ ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି । ମାର୍ଚ୍ଚ ୪ରେ ତଦନ୍ତ ଅଧିକାରୀଙ୍କ ନିକଟରେ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି । ତେବେ ତଦନ୍ତରେ ସହଯୋଗ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ତଦନ୍ତ ସମୟରେ ସାକ୍ଷୀଙ୍କୁ ପ୍ରଭାବିତ ନକରିବାକୁ ନିର୍ଦ୍ଦେଶ ରହିଛି । ମାର୍ଚ୍ଚ ୮ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି । ସୂଚନାଯୋଗ୍ୟ ମୟୂରଭଞ୍ଜ ଜିଲ୍ଲାର ଦୁଇ ଜଣ ସରକାରୀ କର୍ମଚାରୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ମାଡ଼ ମାରିଥିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଜିଲ୍ଲା କାର୍ଯ୍ୟାଳୟରେ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଉପନିର୍ଦେଶକ ଅଶ୍ବିନୀ କୁମାର ମଲ୍ଲିକ ଓ ସହକାରୀ ନିର୍ଦ୍ଦେଶକ ଦେବାଶିଷ ମହାପାତ୍ରଙ୍କୁ ମନ୍ତ୍ରୀ ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିବା ସହିତ ଏକ ପ୍ଲାଷ୍ଟିକ ଚେୟାରରେ ପିଟିଥିବା ଅଭିଯୋଗ ହୋଇଥିଲା । ଉଭୟ କର୍ମଚାରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏନେଇ ବାରିପଦା ଟାଉନ ଥାନାରେ ଏତଲା ଦିଆଯାଇଥିଲା ।