

ସତ୍ୟଶିଖା( ଭୁବନେଶ୍ୱର )୦୬.୦୫.୨୦୨୨ : ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଗତ ୪ ତାରିଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଦକ୍ଷିଣ ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ତେଣୁ ସମ୍ଭବତଃ ୮ ତାରିଖ ବେଳକୁ ବାତ୍ୟାର ଚିତ୍ର ସ୍ପଷ୍ଟ ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅବପାତ ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ତୀବ୍ରତା ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି ଭାରତୀୟ ପାଣିପାଗ ବିଭାଗ(IMD) ସୂଚନା ଦେଇଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାକାନ୍ତ ଦାସ କହିଛନ୍ତି, ଆଜି ସକାଳେ ଲଘୁଚାପ କ୍ଷେତ୍ର ଦକ୍ଷିଣ ଆଣ୍ଡାମାନ ଓ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ କ୍ଷେତ୍ର ଧିରେ ଧିରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଆସନ୍ତା ୪୮ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ ।