

ସତ୍ୟଶିଖା( ଭୁବନେଶ୍ୱର)୦୫.୦୮ . ୨୦୨୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ ୪.୫ କିମି ଉଚ୍ଚତାରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୭ ତାରିଖ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ୭ ତାରିଖରୁ ପ୍ରବଳରୁ ଅତିପ୍ରବଳ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି। ଅନ୍ୟପଟେ ମୌସୁମୀଜନିତ ନିମ୍ନ ଚାପରେଖା ବିକାନେର, ଶିବପୁରୀ, ଜବଲପୁର, ରାୟପୁର ଓ ଭୁବନେଶ୍ବର ହୋଇ ଦକ୍ଷିଣ-ପୂର୍ବ ଦିଗରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରୁଛି। ଏହା ପ୍ରଭାବରେ ଆଜି ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିଭଳି ୬ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଅନୁଗୁଳ, ଖୋର୍ଧା, ନୟାଗଡ଼, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।